ଆସନ୍ତା ଦୁଇଦିନ ବଜ୍ରପାତ ଓ କାଳ ବୈଶାଖୀ ହେବାର ପାଣିପାଗ ବିଭାଗ ର ସୂଚନା
ଭୁବନେଶ୍ୱର : ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ ବଜ୍ରପାତ ସହ କାଳବୈଶାଖି ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି । ଏହାକୁ ଦୃଷ୍ଟିରେ ରଖି ସତର୍କ ରହିବା ସହ ଆବଶ୍ୟକ ପଦକ୍ଷେପ ନେବାକୁ ରାଜ୍ୟ ସ୍ବତନ୍ତ୍ର କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ପରାମର୍ଶ ଜାରି କରାଯାଇଛି ।
ପାଣିପାଗ ବିଭାଗ ପକ୍ଷରୁ ଜାରି ବୁଲେଟିନରେ କୁହାଯାଇଛି ଯେ ଶୁକ୍ରବାର ସକାଳ ୮ଟା ୩୦ରୁ ଶନିବାର ୮ଟା ୩୦ ମଧ୍ୟରେ ରାଜ୍ୟର କେତେକ ଜିଲ୍ଲା ଯଥା ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ଅନୁଗୁଳ,ମୟୁରଭଞ୍ଜ ଓ ବୌଦ୍ଧରେ ବଜ୍ରପାତ ସହ କାଳବୈଶାଖି ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଶନିବାର ସକାଳ ୮ଟା ୩୦ରୁ ରବିବାର ସକାଳ ୮ଟା ୩୦ ପର୍ଯ୍ୟନ୍ତ ରାଜ୍ୟର କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ,ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ବଜ୍ରପାତ ସହ କାଳବୈଶାଖି ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ହଳଦିଆ ସତର୍କତା ବା ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।